ଭୁବନେଶ୍ୱର: ପୁରୀ ଶ୍ରୀ ଜଗନ୍ନାଥଙ୍କ ଧାମ ପରେ ଏକାମ୍ରକ୍ଷେତ୍ର ଶ୍ରୀ ଲିଙ୍ଗରାଜ ମନ୍ଦିରର ପାରିପାର୍ଶିକ ଅଞ୍ଚଳର ବିକାଶ ପାଇଁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର । ଏହି ଗୌରବମୟ ଐତିହ୍ୟର ଉପଯୁକ୍ତ ସଂରକ୍ଷଣ ପାଇଁ ରାଜ୍ୟ ସରକାର ୬୬ ଏକର ପରିବ୍ୟାପ୍ତ ଏକାମ୍ର କ୍ଷେତ୍ର ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଏଥିରେ ରହିଛି ସୁଦୃଶ୍ୟ ପ୍ରବେଶ ପଥ, ବିନ୍ଦୁସାଗର ପୁନରୁଦ୍ଧାର ଯୋଜନାରେ ବିଭିନ୍ନ ଐତିହ୍ୟ ପୁଷ୍କରିଣୀର ପୁନଃରୁଦ୍ଧାର, ଅତ୍ୟାଧୁନିକ ପାର୍କିଂ, ଲିଙ୍ଗରାଜ ଐତିହ୍ୟ ପ୍ରକଳ୍ପ, କେଦାରଗୌରୀ ଓ ମୁକ୍ତେଶ୍ୱର ପରିସରର ବିକାଶ । ଇ- ଅଟୋ ପ୍ରୋଗ୍ରାମ, ଐତିହ୍ୟ ବ୍ୟାଖ୍ୟାନ କେନ୍ଦ୍ର ଏବଂ ଥଇଥାନ ଆଦି ୯ଟି ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ହୋଇଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିବା ସହ ଏକ ହଜାର ବର୍ଷର ପୁରୁଣା ଲିଙ୍ଗରାଜ ମନ୍ଦିରର ସୁରକ୍ଷା ଓ ସଂରକ୍ଷଣ ପାଇଁ ସମସ୍ତେ ତ୍ୟାଗ କରିବାକୁ ଅନୁରୋଧ କରିଛନ୍ତି । ଏହି ତ୍ୟାଗକୁ ମହାପ୍ରଭୁ ଲିଙ୍ଗରାଜଙ୍କ ସେବା ଭାବରେ ଗ୍ରହଣ କରି ସରକାରଙ୍କ ବିକାଶ କାମରେ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।
ଯୋଜନାରେ କ’ଣ ରହିଛି
– ଲିଙ୍ଗରାଜ ଥାନା ଓ ଶ୍ରୀ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ଅଫିସ ଅନ୍ୟତ୍ର ସ୍ଥାନାନ୍ତର କରାଯିବ ।
– ଟ୍ରାଫିକ ହ୍ରାସ ଓ ଯାତାୟତର ସୁବିଧା ପାଇଁ ତାଳେଶ୍ୱର ଛକଠାରୁ ବଢ଼େଇବାଙ୍କ ଛକ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ ।
– ଚାରିଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯିବ ।
– ଲିଙ୍ଗରାଜ ମନ୍ଦିର ସମ୍ମୁଖ ଭାଗରେ ଉଦ୍ୟାନ ନିର୍ମାଣ ସହିତ ଏହାର ସୌନ୍ଦର୍ଯ୍ୟକରଣ କରାଯିବ
– ମନ୍ଦିର ଚାରି ପାଖରେ ପରିକ୍ରମା ପଥ ନିର୍ମାଣ କରାଯିବ ।
– ମନ୍ଦିର ସମ୍ମୁଖ ରାସ୍ତାରେ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ନିଷେଧ କରାଯିବ ।
– ଭକ୍ତମାନଙ୍କ ପାଇଁ ସୁବିଧା ଦର୍ଶନର ବ୍ୟବସ୍ଥା କରାଯିବ ।
– ପର୍ଯ୍ୟଟନମାନଙ୍କ ପାଇଁ ବିଭିନ୍ନ ପ୍ରକାର ସୁବିଧା ସୁଯୋଗର ବିକାଶ କରାଯିବ ।
– ବିନ୍ଦୁସାଗର ଜଳକୁ ପରିଷ୍କାର କରିବା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ଗ୍ରହଣ କରାଯିବ ।
– କେଦାରଗୌରୀ, ପାପନାସିନୀ, ଗୋଦାବରୀ, କୋଟିତୀର୍ଥ, ଗଙ୍ଗାଯମୁନା ଏବଂ ଦେବୀପାଦହରା ଐତିହ୍ୟ ପୁଷ୍କରିଣୀର ପୁନଃରୁଦ୍ଧାର ଓ ସଂରକ୍ଷଣ କରାଯିବ ।
– ଶ୍ରୀ ଲିଙ୍ଗରାଜ ମନ୍ଦିରର ନିରାପତ୍ତାକୁ ଆହୁରି ସୁଦୃଢ଼ କରାଯିବ ।
ଏହି ଯୋଜନା ସହ କ୍ଷତିଗ୍ରସ୍ତ ହେଉଥିବା ଉଠାଦୋକାନୀମାନଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରାଯାଇଛି ।
– ଜୀବିକା ହରାଉଥିବା ଉଠାଦୋକାନୀଙ୍କୁ ଦୁଇଟି କିସ୍ତିରେ ୩୦ ହଜାର ଟଙ୍କା ଏକକାଳୀନ ସହାୟତା ଦିଆଯିବ ଏବଂ ଭେଣ୍ଡିଂ ଜୋନ୍ କରାଯାଇ ସେମାନଙ୍କୁ ଥଇଥାନ କରାଯିବ ।
– ପକ୍କା ଘରେ ଥିବା ଦୋକାନ ଘର ଉଚ୍ଛେଦ ନିମନ୍ତେ ବ୍ୟବସାୟୀଙ୍କୁ ୧୨ ମାସ ନିମନ୍ତେ ମାସିକ ମିଳିବ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ଦିଆଯିବ ।
– ପରବର୍ତ୍ତୀ ସମୟରେ ବିଏମସି, ପର୍ଯ୍ୟଟନ ବିଭାଗ ଦ୍ୱାରା ନିର୍ମିତ ମାର୍କେଟ୍ କିମ୍ବା ନୂତନ ମାର୍କେଟ୍ କପ୍ଲେକ୍ସ ନିର୍ମାଣ କରାଯାଇ ସଂପୃକ୍ତ ବ୍ୟବସାୟୀମାନଙ୍କୁ ଥଇଥାନ କରାଯିବ ।
– ସ୍ଥିତିବାନ ଆବାସିକ ଗୃହ, ବ୍ୟବସାୟିକ ଗୃହ ଉଚ୍ଛେଦ କ୍ଷେତ୍ରରେ କ୍ଷତିଗ୍ରସ୍ତଙ୍କ ସହିତ ଆଲୋଚନା କରାଯାଇ ନିୟମ ଅନୁସାରେ କ୍ଷତିପୂରଣ ଦିଆଯିବ ।
ଆଜି ସଂଧ୍ୟାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ଶ୍ରୀ ଜଗନ୍ନାଥ ମନ୍ଦିର ପରି ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ ପ୍ରଣୟନ କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି । ମନ୍ତ୍ରୀ ପ୍ରତାପ ଜେନା, ଅଶୋକ ପଣ୍ଡା, ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ସଚିବ ଡ. କ୍ରିଷନ୍ କୁମାର ଏବଂ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ ।