ଭୁବନେଶ୍ୱର: ଗଞ୍ଜାମରେ କରୋନା ସଂକ୍ରମଣର ଗମ୍ଭୀରତା ଦୃଷ୍ଟିରୁ ବ୍ରହ୍ମପୁରରେ ଆଉ ଦୁଇଟି କୋଭିଡ୍ ହସ୍ପିଟାଲ୍ ସ୍ଥାପନ କରାଯାଇଛି । ୧୫୦ ଲେଖାଏଁ ଶଯ୍ୟାର ଏହି ଦୁଇ ହସ୍ପିଟାଲ୍ କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିଛନ୍ତି । ବ୍ରହ୍ମପୁରର କନିଷି ଠାରେ ଥିବା ଅମିତ୍ ହସ୍ପିଟାଲରେ କଟକର ଅଶ୍ବିନୀ ହସ୍ପିଟାଲ ପକ୍ଷରୁ ୧୫୦ ଶଯ୍ୟାବିଶିଷ୍ଟ କୋଭିଡ ହସ୍ପିଟାଲ ସ୍ଥାପନ କରାଯାଇଥିବାବେଳେ ଏଥିରେ ୨୪ଟି ଆଇସିୟୁ ବେଡ୍ ରହିଛି। ସେହିପରି ଏମକେସିଜି ହସ୍ପିଟାଲର ଶିଶୁ ୱାର୍ଡରେ ନୂଆ କୋଭିଡ ହସ୍ପିଟାଲ ଆରମ୍ଭ କରାଯାଇଛି । ଏଥିରେ ମଧ୍ୟ ୧୫୦ଟି ଶଯ୍ୟା ରହିଛି ଏବଂ ୨୪ଟି ଆଇସିୟୁ ବେଡ୍ ଅଛି। ପୂର୍ବରୁ ବ୍ରହ୍ମପୁରର ଶିତଳାପଲ୍ଲୀଠାରେ ଟାଟା କୋଭିଡ ହସ୍ପିଟାଲରେ ଚିକିତ୍ସା ଜାରି ରହିଛି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ କରୋନା ସ୍ଥିତିକୁ ନେଇ ଆଶ୍ୱସ୍ତିକର ତଥ୍ୟ ଦେଇଛନ୍ତି । ଗଞ୍ଜାମ ଜିଲ୍ଲାରେ ସଂକ୍ରମଣ ହାର କ୍ରମାଗତ ଭାବରେ କମୁଛି। ଗଞ୍ଜାମରେ ଆରୋଗ୍ୟ ହାର ଜାତୀୟ ହାର ଠାରୁ ଅଧିକ ରହିଛି ଏବଂ ଜିଲ୍ଲାର ୮୫ ପ୍ରତିଶତ ଗ୍ରାମାଞ୍ଚଳ ସବୁଜ ଅଞ୍ଚଳରେ ରହିଛି । କିନ୍ତୁ ଯେପର୍ଯ୍ୟନ୍ତ ଟୀକା ବା ନିର୍ଦ୍ଦିଷ୍ଟ ଚିକିତ୍ସା ପଦ୍ଧତି ନ ବାହାରିଛି ଏହି ମହାମାରୀ ବିରୁଦ୍ଧରେ ଫଳପ୍ରଦ ଲଢେଇର ଏକମାତ୍ର ଉପାୟ ହେଉଛି ମାସ୍କର ବ୍ୟବହାର, ସାମାଜିକ ଦୂରତ୍ବ ଓ ସରକାରଙ୍କ କୋଭିଡ ନିୟମାବଳୀର ପାଳନ । ତେଣୁ ବର୍ତ୍ତମାନ ପରିସ୍ଥିତିରେ ଆତ୍ମସନ୍ତୋଷର କୌଣସି ସ୍ଥାନ ନାହିଁ । ଜନସାଧାରଣ କୋଭିଡ ନିୟମାବଳୀକୁ ହାଲକା ଭାବରେ ନ ନେଇ ଏହାର ଗୁରୁତ୍ବକୁ ଭଲ ଭାବରେ ବୁଝନ୍ତୁ । ନିଜର ଏବଂ ନିଜ ପରିବାରର ସୁରକ୍ଷା ଦୃଷ୍ଟିରୁ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ।
ଅନଲକ୍-୧ ପରେ ଦେଶର ହଟସ୍ପଟ ଅଞ୍ଚଳରୁ ଆମର ଭାଇଭଉଣୀମାନେ ଘରକୁ ଫେରିଛନ୍ତି। ଆମର କୋଭିଡ ଯୋଦ୍ଧା ମାନଙ୍କର ତ୍ୟାଗ, ନିଷ୍ଠା ଏବଂ ଜିଲ୍ଲା ଜନସାଧାରଣଙ୍କର ସହଯୋଗ ଯୋଗୁ ଗଞ୍ଜାମ ଏହି ମହାମାରୀ ବିରୁଦ୍ଧରେ ସଫଳତାର ସହ ଲଢେଇ ଜାରି ରଖିଛି । ଏଥିପାଇଁ ଜିଲ୍ଲା ପ୍ରଶାସନକୁ ଏବଂ ଗଞ୍ଜାମର ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ । କରୋନା ମହାମାରୀ କବଳରୁ ଲୋକମାନଙ୍କ ଜୀବନରକ୍ଷା ନିମନ୍ତେ ସବୁପ୍ରକାର ଉଦ୍ୟମ ଜାରି ରହିଥିବା ମୁଖ୍ୟମନ୍ତ୍ରୀ ନିଜର ପ୍ରତିବଦ୍ଧତା ଦୋହରାଇଥିଲେ ।
ଏହି କାର୍ଯ୍ୟକ୍ରମରେ ବାଚସ୍ପତି ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ର,ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ବିଧାୟକ ଶ୍ରୀ ବିକ୍ରମ ପଣ୍ଡାଙ୍କ ସମେତ ସରକାରୀ ଉଚ୍ଚ ପଦାଧିକାରୀମାନେ ଯୋଗଦେଇଥିଲେ ।
ଗଞ୍ଜାମ ସୀମା ସିଲ୍: ଗଞ୍ଜାମ ଜିଲ୍ଲାର ସମସ୍ତ ପ୍ରବେଶ ଓ ପ୍ରସ୍ଥାନକୁ ସିଲ୍ କରିଛନ୍ତି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ଏଥିସହ ଯାଞ୍ଚକୁ ଅଧିକ କଡ଼ାକଡ଼ି କରାଯାଇଛି । ସପ୍ତାହାନ୍ତ ସଟ୍ ଡାଉନ୍ ଛଡ଼ା ସମଗ୍ର ଜିଲ୍ଲାରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଦୋକାନବଜାର ଖୋଲା ରହିବ ବୋଲି ଜିଲ୍ଲାପାଳ କହିଛନ୍ତି ।
ଓଏମସି ଦ୍ୱାରା କୋଭିଡ୍ କେୟାର୍ ହୋମ୍







