ଭୁବନେଶ୍ୱର: ସରକାରୀ କାର୍ଯ୍ୟକ୍ଷେତ୍ରରେ ଦୁର୍ନୀତି ଓ ଅପାରଗତା ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ରାଜ୍ୟ ସରକାର ଆଜି ଆଉ ୬ ଜଣ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ଏମାନଙ୍କ ମଧ୍ୟରେ ଅଛନ୍ତି ଜଣେ ମୁଖ୍ୟଯନ୍ତ୍ରୀ, ୩ ଜଣ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର ଓ ୨ ଜଣ ବ୍ଲକ୍ ଶିକ୍ଷା ଅଧିକାରୀ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ସୁନିଲ୍ କୁମାର ପଣ୍ଡା(ମୁଖ୍ୟଯନ୍ତ୍ରୀ): ସମ୍ବଲପୁର ଇଲେକ୍ଟ୍ରିକାଲ ମୁଖ୍ୟଯନ୍ତ୍ରୀ ସୁନିଲ୍ କୁମାର ପଣ୍ଡାଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ଅଛି । ତାଙ୍କ ପାଖରେ ୩.୨୬ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିଲା । ଏଥିପାଇଁ ତାଙ୍କୁ ନିଲମ୍ବିତ ମଧ୍ୟ କରାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ଜଗନ୍ନାଥ ସେଠୀ(ଏକ୍ଜିକ୍ୟୁଟିଭ ଇଞ୍ଜିନିୟର): ବ୍ରହ୍ମପୁର ରୁରାଲ ୱାର୍କ୍ସ ଇଲେକ୍ଟ୍ରିକାଲ୍ ଡିଭିଜନର ଏକ୍ଜିକ୍ୟୁଟିଭ ଇଞ୍ଜିନିୟର ଜଗନ୍ନାଥ ସେଠୀଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ଥିଲା । ତାଙ୍କ ପାଖରେ ୭.୬୩ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିଲା ଏବଂ ଏଥିପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ଦୀପକ କୁମାର ଭୁୟାଁ(ଏକ୍ଜିକ୍ୟୁଟିଭ ଇଞ୍ଜିନିୟର): ଭୁବନେଶ୍ୱରର ଏକ୍ଜିକ୍ୟୁଟିଭ ଇଞ୍ଜିନିୟର ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ଦୀପକ କୁମାର ଭୁୟାଁଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲା ରହିଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ପ୍ରଶାନ୍ତ କୁମାର ମିଶ୍ର(ଏକ୍ଜିକ୍ୟୁଟିଭ ଇଞ୍ଜିନିୟର): ଭୁବନେଶ୍ୱରର ଏକ୍ଜିକ୍ୟୁଟିଭ ଇଞ୍ଜିନିୟର ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ପ୍ରଶାନ୍ତ କୁମାର ମିଶ୍ରଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ଅନ୍ତର୍ଯ୍ୟାମୀ ବେହେରା(ବ୍ଲକ ଶିକ୍ଷା ଅଧିକାରୀ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ରାୟଗଡା ଜିଲ୍ଲାର ଗୁଣୁପୁରସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ଅନ୍ତର୍ଯ୍ୟାମୀ ବେହେରାଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ଅଛି । ସେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ କରିଥିଲେ । ତାଙ୍କୁ ୨୦୨୨ ମାର୍ଚ୍ଚ ୨ ତାରିଖ ଦିନ ଗିରଫ କରାଯାଇ ତା ପରଦିନ କୋର୍ଟକୁ ପଠାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ବ୍ରଜ କୁମାର ନାୟକ(ବ୍ଲକ ଶିକ୍ଷା ଅଧିକାରୀ): ଗଜପତି ଜିଲ୍ଲାର ନୂଆଗଡସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ବ୍ରଜ କୁମାର ନାୟକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ଅଫିସ ଭିତରେ ୩୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ କରୁଥିଲାବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ବା ପେନସନ ବନ୍ଦ କରାଯାଇଛି।







