ଭୁବନେଶ୍ୱର: ପାର୍ବତୀଗିରି ବୃହତ୍ତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲ୍ଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପ ଉଦଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଯୋଗେ ଏହାକୁ ଉଦଘାଟନ କରିଛନ୍ତି । ଏହା ଦ୍ୱାରା ୮୦ ହଜାର ହେକ୍ଟର ଢିପ ଜମିକୁ ଜଳସେଚନର ସୁବିଧା ମିଳି ପାରିଛି। ଏଥିପାଇଁ ୨,୫୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏଥିସହ ମୁଖ୍ୟମନ୍ତ୍ରୀ ୩୩ଟି ମେଗା ଲିଫ୍ଟ ପ୍ରକଳ୍ପ ପାଇଁ ଭିତ୍ତିସ୍ଥାପନ ମଧ୍ୟ କରିଛନ୍ତି। ଏ ସବୁ ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ୯ଟି ଜିଲ୍ଲାର ୫୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ।
ଚାଷୀଭାଇ ହେଉଛନ୍ତି ଦେଶର ଶ୍ରେଷ୍ଠ ସେବକ। ସେମାନେ ଆମ ଅର୍ଥନୀତିର ମେରୁଦଣ୍ଡ। ସେମାନଙ୍କ ତ୍ୟାଗ ଓ ପରିଶ୍ରମ ରାଜ୍ୟ ପାଇଁ ଅନେକ ଗୌରବ ଆଣିଛି। ସେ ପ୍ରତିଦିନ ତାଙ୍କ ଘରେ ଚାଷୀ ଭାଇଭଉଣୀମାନଙ୍କୁ ଭେଟୁଛନ୍ତି ଓ ସେମାନଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା ମଧ୍ୟ କରୁଛନ୍ତି। ଚାଷୀ ଭାଇମାନେ ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ ହେଉଥିବା ବିଷୟ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସି ବ୍ୟକ୍ତ କରିଥିଲେ।
କୃଷକମାନଙ୍କ ପାଇଁ ରାଜ୍ୟ ସରକାର କାର୍ଯ୍ୟକାରୀ କରୁଥିବା ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟ ସରକାରଙ୍କ କୃଷି ବଜେଟ୍ ୫ ବର୍ଷରେ ୩ ଗୁଣ ହୋଇ ଏବେ ୨୫ ହଜାର କୋଟି ଟଙ୍କାରେ ପହଞ୍ଚିଛି। କାଳିଆ ଯୋଜନା ଚାଷୀ ଭାଇମାନଙ୍କ ପାଇଁ ବହୁତ ଉପକାରୀ ସାବ୍ୟସ୍ତ ହୋଇଛି। ରାଜ୍ୟ ସରକାର ଚାଷୀଭାଇମାନଙ୍କ ଫସଲବୀମାର ପ୍ରିମୟମ ପାଇଁ ୬୦୦ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ସେହିପରି ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ମଧ୍ୟ ଦିଆଯାଉଛି।
ରାଜ୍ୟରେ ଜଳସେଚନର ବିକାଶ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ 5T ଉପକ୍ରମରେ ଜଳସେଚନର ବିକାଶ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରାଯାଇଛି। ଅପର ଇନ୍ଦ୍ରାବତୀ, ଲୋୟର ଇନ୍ଦ୍ର, ଦେଓ ଏବଂ ସୁବର୍ଣ୍ଣରେଖା ପରି ବଡ ବଡ ପ୍ରକଳ୍ପରୁ ଚାଷୀମାନେ ଜଳସେଚନ ସୁବିଧା ପାଉଛନ୍ତି। ଏହା ଛଡା ଗଙ୍ଗାଧର ମେହର ପ୍ରକଳ୍ପ ଓ ଲୋୟର ସୁକତେଲ ପରି ଅନ୍ୟ ବଡ ବଡ ପ୍ରକଳ୍ପ ମଧ୍ୟ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି । ନଦୀଗୁଡିକରେ ସବୁଦିନ ପାଣି ମିଳିବାର ସୁବିଧା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପ କରାଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହିସବୁ ପ୍ରକଳ୍ପ ଦ୍ୱାରା ରାଜ୍ୟର କୃଷି କ୍ଷେତ୍ର ସମୃଦ୍ଧ ହେବ ଏବଂ ଚାଷୀଭାଇଙ୍କର ରୋଜଗାର ବୃଦ୍ଧି ହେବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମେଗା ଲିଫ୍ଟର ସୁପରିଚାଳନା ପାଇଁ ଓକାକ୍ ଦ୍ୱାରା ପ୍ରସ୍ତୁତ e-megalift App ର ଲୋକାର୍ପଣ କରିଥିଲେ।
ସୂଚନାଯୋଗ୍ୟ ଯେ ୨୦୧୧ ମସିହାରେ ରାଜ୍ୟରେ ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଆରମ୍ଭ ହୋଇଥିଲା। ଏଥିରେ ୨୦୮ଟି ପ୍ରକଳ୍ପ ସଫଳତାର ସହ ଶେଷ ହୋଇଛି ଏବଂ ଏହା ଦ୍ୱାରା ୨,୬୪,୩୩୦ ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ମିଳିଛି। ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ୧୭୦ଟି ପ୍ରକଳ୍ପ ହାତକୁ ନିଆଯାଇଛି। ଏହା ଦ୍ୱାରା ୧,୧୩,୫୪୦ ହେକ୍ଟର ଜମି ଜଳସେଚିତ ହୋଇପାରିବ।
କାର୍ଯ୍ୟକ୍ରମରେ ରାଜ୍ୟ ଜଳସମ୍ପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ଏବଂ ବିଧାୟକ ବଦ୍ରି ନାରାୟଣ ପାତ୍ର ଭାଷଣ ଦେଇଥିଲେ । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢୀ, ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀଗଣ, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଚାଷୀ ଭାଇଭଉଣୀମାନେ ଉପସ୍ଥିତ ଥିଲେ। ଉନ୍ନୟନ କମିଶନର ତଥା ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ।