ଭୁବନେଶ୍ୱର: ବିଜେଡି ଓ ବିଜେପି ମଧ୍ୟରେ ମେଣ୍ଟ ସମ୍ଭାବନାକୁ ନେଇ ଲାଗିରହିଥିବା ଚର୍ଚ୍ଚାରେ ଆଜି ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ନିଜର ଏକ୍ସ ଆକାଉଣ୍ଟରେ ସେ ଏହାକୁ ସ୍ପଷ୍ଟ କରିଛନ୍ତି । ବିଜେପି ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି ସେ ଘୋଷଣା କରିଛନ୍ତି ।
ଗତକାଲି ଦିଲ୍ଲୀରୁ ଫେରିଥିବା ମନମୋହନ ଆଜି ତାଙ୍କ ଏକ୍ସ ହାଣ୍ଡଲରେ ଏକ ଲମ୍ବା ଚଉଡ଼ା ଘୋଷଣାନାମା ଲେଖିଛନ୍ତି । ଲେଖିଛନ୍ତି,
ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜୁ ଜନତା ଦଳ(ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ୱ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରି ଆସୁଛି । ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ ।
ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ୱରାନ୍ୱିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ ।
କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡ଼ିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାନ୍ତି । ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ୱାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହମତ ହୋଇପାରୁନାହୁଁ ।
ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି(ବିଜେପି) ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ।