ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ସୋନପୁର ଓ ବୌଦ୍ଧ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ସୋନପୁରର ଏକ ଲକ୍ଷ ପଚାଶ ହଜାର ଲୋକ ଏହି ସୁବିଧା ପାଇବା ବେଳେ ବୌଦ୍ଧର ତିନି ଲକ୍ଷ ବାସ୍ତରି ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହାସହିତ ରାଜ୍ୟର ୧୯ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ ।
ଏହି ଅବସରରେ ସୋନପୁର ପାଇଁ ମୁଖ୍ୟମନ୍ତ୍ରୀ ୩୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସୋନପୁରକୁ ମନ୍ଦିର ନଗରୀ ଭାବେ ବର୍ଣ୍ଣନା କରି ଏହାର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରିଥିଲେ । ସୋନପୁରର ବୁଣାକାରମାନେ ନିଜ ଦକ୍ଷତା ଦ୍ବାରା ଓଡିଶାର ଗୌରବକୁ ଦେଶ ବିଦେଶରେ ପହଞ୍ଚାଇଛନ୍ତି ବୋଲି ସେ କହିଥିଲେ।
ଜିଲ୍ଲାର ବିକାଶ ପାଇଁ ସେ ସମର୍ପିତ ବୋଲି ପ୍ରକାଶ କରିବା ସହିତ ମୁଖ୍ୟମନ୍ତ୍ରୀ କହିଲେ ଯେ ସୋନପୁରରେ MSME ପାର୍କ ପ୍ରତିଷ୍ଠା ଜରିଆରେ ଶିଳ୍ପ ବିକାଶ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ସେ କହିଥିଲେ। ତା ସହିତ ଜଳସେଚନ ଓ ସ୍ବାସ୍ଥ୍ୟ ସୁବିଧାର ବିକାଶ ପାଇଁ ପଦକ୍ଷେପ ନିଆଯାଉଛି । ଜିଲ୍ଲା ମୁଖ୍ୟାଳୟରେ ଏକ ହସ୍ପିଟାଲ ପ୍ରତିଷ୍ଠା କରାଯାଉଛି। ଏହାଦ୍ବାରା ସ୍ବାସ୍ଥ୍ୟ ସେବାରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ସେହିପରି ଆଜି ଅପରାହ୍ନରେ ବୌଦ୍ଧ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । ଜିଲ୍ଲା ପାଇଁ ୪୮୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ବୌଦ୍ଧ ଜିଲ୍ଲାର ପ୍ରାକୃତିକ ପରିବେଶର ବହୁତ ପ୍ରଶଂସା କରିଥିଲେ । ବୌଦ୍ଧରେ ପର୍ଯ୍ୟଟନର ବିକାଶ ପାଇଁ ଥିବା ବିପୁଳ ସୁଯୋଗକୁ ଉପଯୋଗ କରାଯିବ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦ କୋଟି ଟଙ୍କାରେ ନନ୍ଦନ ବନ ସଫାରୀ କରାଯିବ, ଯାହାଦ୍ବାରା ଇକୋ-ଟୁରିଜିମ୍ର ବିକାଶ ସହିତ ଜିଲ୍ଲାର ୪୦୦ ପରିବାରକୁ ରୋଜଗାର ମିଳିବ। ସେହିପରି ୪ କୋଟି ଟଙ୍କାରେ ୩୭ଟି ପର୍ଯ୍ୟଟନ ସ୍ଥଳୀର ବିକାଶ କରାଯିବ ବୋଲି ସେ କହିଥିଲେ ।
ଦୁଗ୍ଧ ଉତ୍ପାଦନରେ ବୌଦ୍ଧ ଜିଲ୍ଲାର ସଫଳତାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଏକ ବର୍ଷରେ ୨୦ ହଜାର ଲିଟର କ୍ଷମତା ବିଶିଷ୍ଟ ଏକ ଦୁଗ୍ଧ ଶୀତଳୀକରଣ ପ୍ଲାଣ୍ଟ ନିର୍ମାଣ କରାଯିବ। ଏହାଦ୍ବାରା ୧୦ ହଜାର ଚାଷୀ ଏଥିରେ ରୋଜଗାର ପାଇପାରିବେ ବୋଲି ସେ କହିଥିଲେ।
ଏହି କାର୍ଯ୍ୟକ୍ରମରେ ସୋନପୁରରେ ମନ୍ତ୍ରୀ ପଦ୍ମନାଭ ବେହେରା, ନିରଞ୍ଜନ ପୁଜାରୀ, ସୁଶାନ୍ତ ସିଂହ ଏବଂ ବୌଦ୍ଧରେ ମନ୍ତ୍ରୀ ପଦ୍ମନାଭ ବେହେରା, ନିରଞ୍ଜନ ପୁଜାରୀ, ସାଂସଦ ଅଚ୍ୟୁତାନନ୍ଦ ସାମନ୍ତ, ବିଧାୟକ ପ୍ରଦୀପ କୁମାର ଅମାତ ଓ ବିଧାୟକ ମହିଧର ରଣା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।