ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ବାଲେଶ୍ୱରର ୨୦ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଭଦ୍ରକର ୧୧ ଲକ୍ଷରୁ ଅଧିକ ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହାସହିତ ରାଜ୍ୟର ୨୧ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ ।
ଏହି ଅବସରରେ ବାଲେଶ୍ୱର ପାଇଁ ମୁଖ୍ୟମନ୍ତ୍ରୀ ୧୫୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତଙ୍କ ପାଖରେ ଭଲ ପିଇବା ପାଣି ପହଞ୍ଚାଇବା ଆମର ଏକ ମୁଖ୍ୟ ଲକ୍ଷ୍ୟ । ବାଲେଶ୍ୱରର ୬ଟି ବ୍ଲକ୍ରେ ୯୦୦ କୋଟିରୁ ଅଧିକ ଟଙ୍କାର ବିନିଯୋଗରେ ମେଗା ପାଇପ ପାଣି ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି । ଏହାଦ୍ୱାରା ୬୬୦ଟି ଗାଁର ୬.୫୦ ଲକ୍ଷ ଲୋକ ଭଲ ପିଇବା ପାଣି ପାଇପାରିବେ । ମାଛ ଉତ୍ପାଦନରେ ବାଲେଶ୍ୱର ଏକ ଆଗୁଆ ଜିଲ୍ଲା ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜିଲ୍ଲାର ମତ୍ସ୍ୟଜୀବୀ ମାନଙ୍କ ସୁବିଧା ପାଇଁ ବସ୍ତା ଠାରେ ୨୦ ଏକର ଜମିରେ ୫୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଏକ ବଡ Whosesale Fish Market କରାଯିବ। ଏହାଦ୍ୱାରା ବାଲେଶ୍ୱର ସହିତ କେନ୍ଦ୍ରାପଡା ଓ ଜଗତସିଂହପୁରର ମତ୍ସ୍ୟଜୀବୀମାନେ ଉପକାର ପାଇବେ । ଏହାପରେ ମାଛ ବିକିବା ପାଇଁ ସ୍ଥାନୀୟ ମତ୍ସ୍ୟଜୀବୀ ମାନଙ୍କୁ ଆଉ ଦିଘା ମାଛ ମାର୍କେଟ ଉପରେ ନିର୍ଭର ହେବାକୁ ପଡିବ ନାହିଁ ।
ପ୍ରଥମେ ମୁଖ୍ୟମନ୍ତ୍ରୀ ବ୍ୟାସକବି ଫକୀରମୋହନ ଓ କବିବର ରାଧାନାଥ ରାୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଓଡିଶାର ଭାଷା ଓ ସାହିତ୍ୟର ଗୌରବ ବୃଦ୍ଧି କ୍ଷେତ୍ରରେ ଏହି ଦୁଇ ମହାରଥୀଙ୍କ ଅବଦାନ ବିଷୟରେ ଆଲୋକପାତ କରିଥିଲେ । ସେହିପରି ସ୍ବାଧୀନତା ସଂଗ୍ରାମରେ ବାଲେଶ୍ୱରର ସ୍ବତନ୍ତ୍ର ଅବଦାନ ବିଷୟରେ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାଲେଶ୍ୱର ଜିଲ୍ଲା କୃଷି, ଶିଳ୍ପ, ପର୍ଯ୍ୟଟନ ସବୁ କ୍ଷେତ୍ରରେ ଆଗୁଆ । ଆମର ୮୦ କିଲୋମିଟର ବେଳାଭୂମି କେବଳ ବାଲେଶ୍ୱରରେ ଅଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଧାନ, ପାନ, ମୀନ ପାଇଁ ବାଲେଶ୍ୱର ଜଣାଶୁଣା। ବାଲେଶ୍ବରରେ ୬୦୦ ମିଶନ ଶକ୍ତିର ମା ମାନେ ମାଛ ଚାଷରେ ସାମିଲ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ । ଏହାସହିତ ବିଭିନ୍ନ ସରକାରୀ ଯୋଜନାରେ ମଧ୍ୟ ସେମାନେ ସହଭାଗୀ ହୋଇଛନ୍ତି ଏବଂ ସେମାନଙ୍କୁ ଅଧିକ କାମ ଦେବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଭଦ୍ରକ ଜିଲ୍ଲା ପାଇଁ ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ଯୋଜନା ଆରମ୍ଭ କରି ପ୍ରଥମେ ବନ୍ଦେ ଉତ୍କଳ ଜନନୀର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ସ୍ମରଣ କରିଥିଲେ ଏବଂ ଇରମ ମାଟିକୁ ପ୍ରଣାମ ଜଣାଇଥିଲେ ।
ଭଦ୍ରକ ପାଇଁ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ଜିଲ୍ଲା ମୁଖ୍ୟାଳୟ ପାଇଁ ଏକ ୩୦୦ ଶଯ୍ୟାବିଶିଷ୍ଟ ହସ୍ପିଟାଲ ବିଲ୍ଡିଂର ଭିତ୍ତି ରଖିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭଦ୍ରକ ଜିଲ୍ଲାରେ ୯୫୦ କୋଟି ଟଙ୍କାରେ ଦୁଇଟି ମେଗା ପାଇପ ପାଣି ପ୍ରକଳ୍ପ କାମ ଜାରି ରହିଛି । ଏହାଦ୍ବାରା ୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇବେ ।
ଭଦ୍ରକରେ ମିଶନ ଶକ୍ତିର ମା ମାନେ ଭଲ କାମ କରୁଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରଙ୍କ ବିଭିନ୍ନ ଯୋଜନାରେ ସହଭାଗୀ ହୋଇଛନ୍ତି। ଚଳିତ ବର୍ଷ ସେମାନେ ୨୪୫ କୋଟି ଟଙ୍କା ଋଣ ସୁବିଧା ପାଇପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମିଶନ ଶକ୍ତି କାର୍ଯ୍ୟକ୍ରମ କେବଳ ମା ମାନଙ୍କର ନୁହେଁ, ସାରା ସମାଜରେ ସାମାଜିକ ଓ ଅର୍ଥନୈତିକ ପରିବର୍ତ୍ତନ ଆଣିବ ବୋଲି ସେ କହିଥିଲେ ।
ଏହି କାର୍ଯ୍ୟକ୍ରମରେ ବାଲେଶ୍ୱରରେ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିଧାୟକ ସ୍ବରୂପ ଦାସ ପ୍ରମୁଖ ଯୋଗ ଦେଇଥିବା ବେଳେ ଭଦ୍ରକରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସାଂସଦ ଶ୍ରୀମତୀ ମଞ୍ଜୁଲତା ମଣ୍ଡଳ, ବିଧାୟକ ବ୍ୟୋମକେଶ ରାୟ ଓ ସଂଜୀବ ମଲ୍ଲିକ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।