ଭୁବନେଶ୍ୱର: ଖୋର୍ଦ୍ଧା, ପୁରୀ, କଟକ,କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ପାଣି ପଶିଥିବା ଗାଁମାନଙ୍କରେ ବିପନ୍ନ ଲୋକଙ୍କୁ ୧୫ ଦିନ ରିଲିଫ ସହାୟତା ଦିଆଯିବ । ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ପାଣି ପଶିଥିବା ଗାଁର ଲୋକମାନଙ୍କୁ ୭ ଦିନ ପାଇଁ ରିଲିଫ୍ ଦିଆଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ, ପୁରୀ ଜିଲ୍ଲାର ଗୋପ, ନିମାପଡ଼ା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ବୁଲି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହିତ ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ମଧ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ ।
ବନ୍ୟାରେ ବ୍ୟାପକ ଅଞ୍ଚଳ ଜଳମଗ୍ନ ହେବା ସହ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି । ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା, ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ପ୍ରଭାବିତ ଗୋରୁଗାଈମାନଙ୍କୁ ଗୋଖାଦ୍ୟ ଓ ଚିକିତ୍ସା ସେବା ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ବନ୍ୟାଞ୍ଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି । ଖୋର୍ଦ୍ଧା, ପୁରୀ, କଟକ,କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ପାଣି ପଶିଥିବା ଗାଁମାନଙ୍କରେ ବିପନ୍ନ ଲୋକଙ୍କୁ ୧୫ ଦିନ ରିଲିଫ୍ ସହାୟତା ଦିଆଯିବ । ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ପାଣି ପଶିଥିବା ଗାଁର ଲୋକମାନଙ୍କୁ ୭ ଦିନ ପାଇଁ ରିଲିଫ୍ ଦିଆଯିବ ।
ପାଣି ଛାଡ଼ିବାର ୭ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବା ଏବଂ ତା’ର ୧୫ ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।