ଭୁବନେଶ୍ୱର: ରାଜ୍ୟର ବୁଣାକାର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି ।
କଂକ୍ରିଟ୍ ହୋଇନଥିବା ୧୫,୦୦୦ ଲୁମ୍ ପିଟ୍ କୁ ପର୍ଯ୍ୟାୟକମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ । ପ୍ରତି ଲୁମ୍ ପିଟ୍ କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏ ଖର୍ଚ୍ଚ କରାଯିବ।
୩୦୦୦ ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ପ୍ୟାକେଜ ଅଧିନରେ ପ୍ରାଥମିକତା ଭିତ୍ତିରେ ହାଉସ୍ କମ ୱାର୍କ ସେଡ୍ ଯୋଗାଇ ଦିଆଯିବ । ଏ ପର୍ଯ୍ୟନ୍ତ ୧୧୬୯୫ ଟି ହାଉସ୍ କମ ୱାର୍କ ସେଡ୍ ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି । ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି। ସେହିପରି ଡିଜାଇନ ପ୍ରସ୍ତୁତି ମଧ୍ୟ ଏକ ଜଟିଳ ପ୍ରକ୍ରିୟା। ତେଣୁ ବୁଣାକାର ମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନା ରେ ବିଜୁଳି ଆଲୁଅ ଓ ବିଜୁଳି ପଙ୍ଖା ଯୋଗାଇ ଦିଆଯିବ।
ସମସ୍ତ ଯୋଗ୍ୟ ବୁଣାକାର ପରିବାରକୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦିଆଯିବ। ପଞ୍ଚାୟତ ରାଜ ବିଭାଗ ର ଗାଇଡଲାଇନ୍ ଅନୁସାରେ ଏଥିପାଇଁ ହିତାଧିକାରୀ ଚୟନ କରାଯିବ।
ବୁଣାକାର ମାନେ ଯେପରି ସୁବିଧା ରେ ଋଣ ପାଇ ପାରିବେ ତା ଉପରେ ଗୁରୁତ୍ୱ ଦିଆଯାଇଛି । ବୁଣାକାର ମାନଙ୍କୁ ପଚାଶ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ବୁଣାକାର ମାନଙ୍କର ଉତ୍ପାଦନ ସାମଗ୍ରୀ ରଖିବା ନିମନ୍ତେ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା – ସିଏଫସି, ଗୋଦାମ ଓ ବିକ୍ରୟ କେନ୍ଦ୍ର ଆଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ।
ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ । ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାର ମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡିଶାର ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି । କିନ୍ତୁ ମହାମାରୀ କୋଭିଡ ପରିପ୍ରେକ୍ଷୀରେ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାର ମାନଙ୍କ ରୋଜଗାରରେ ହ୍ରାସ ଘଟିଥିବାରୁ ମୁଖ୍ୟମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି ।