ଭୁବନେଶ୍ୱର: ନିଟ୍ ପରୀକ୍ଷାରେ କୃତୀତ୍ୱ ହାସଲ କରି କୋରାପୁଟ ସହିଦ୍ ଲକ୍ଷ୍ଣଣ ନାୟକ ମେଡିକାଲ କଲେଜରେ ପାଠ ପଢିବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ବାଲିଗୁଡାର ଛାତ୍ର ଇଫୁ ମଲ୍ଲିକ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସଠାରେ ଭେଟିଛନ୍ତି। ଇଫୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ବେଳେ ଅତ୍ୟନ୍ତ ଭାବବିହ୍ୱଳ ହୋଇପଡ଼ିଥିଲେ ଏବଂ ହୃଦୟରୁ କୃତଜ୍ଞତା ଜ୍ଞାପନ କରି ଧନ୍ୟବାଦ ଦେଇଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ। ଇଫୁଙ୍କ ପ୍ରତିଭାର ଉଚ୍ଚପ୍ରଶଂସା କରିବା ସହିତ ଆଗକୁ ଏହିପରି ଉଦ୍ୟମ ଜାରି ରଖି ଦେଶବାସୀଙ୍କ ସେବା କରିବା ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ପ୍ରେରଣା ଦେଇଥିଲେ। ମୁଖ୍ୟମନ୍ତ୍ରୀ ଇଫୁଙ୍କ ସହିତ ସେଲ୍ଫି ଉଠାଇବା ସହିତ ଏକ ପୁସ୍ତକ ମଧ୍ୟ ଉପହାର ଦେଇଥିଲେ ।







