ଭୁବନେଶ୍ୱର: କୋଭିଡ ଯୁଦ୍ଧରେ ସହିଦ ହେଉଥିବା ଯୋଦ୍ଧାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଦେବାକୁ କେନ୍ଦ୍ର ସରକାର ଘୋଷଣା କରିଥିଲେ । ତଦନୁଯାୟୀ ରାଜ୍ୟ ସରକାର ୬୦ ଜଣ ଯୋଦ୍ଧାଙ୍କର ତାଲିକା ପଠାଇଥିଲେ । କେନ୍ଦ୍ର ସରକାର ମାତ୍ର ଜଣେ କୋଭିଡ୍ ଯୋଦ୍ଧାଙ୍କ ପରିବାରକୁ ସହାୟତା ଦେବାକୁ ରାଜି ହୋଇଛନ୍ତି । ଆଜି କୋଭିଡ୍ ପରିଚାଳନା ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି ।
ତେବେ ଏଥିନେଇ ପୁଣିଥରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ସହିଦ୍ କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ତରଫରୁ ଅନୁକମ୍ପା ସହାୟତା ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ଏଥିସହ ଦୀର୍ଘ ୮ ମାସ ଧରି କୋଭିଡ ବିରୋଧରେ ଚାଲିଥିବା ଏହି ଲଢ଼େଇରେ କାମ କରି ଚାଲିଥିବା ଯୋଦ୍ଧାମାନଙ୍କ ନିଷ୍ଠାର ଉଚ୍ଚପ୍ରଶଂସା କରିଥିଲେ ମୁଖ୍ୟମନ୍ତ୍ରୀ ।
ଏହାସହିତ କୋଭିଡରୁ ସୁସ୍ଥ ହେଉଥିବା ଲୋକଙ୍କର ସ୍ବାସ୍ଥ୍ୟର ଗୁଣାତ୍ମକ ଉନ୍ନତି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ରାଜ୍ୟରେ ବର୍ତ୍ତମାନ ୭୮ ପ୍ରତିଶତ ଲୋକ ଗୃହ ସଂଗରୋଧରେ ଅଛନ୍ତି । ତେଣୁ ଗୃହ ସଂଗରୋଧରେ ଥିବା ରୋଗୀ ଏବଂ କୋଭିଡ ହସ୍ପିଟାଲରେ ରହିଥିବା ରୋଗୀମାନଙ୍କ ସହିତ ବରିଷ୍ଠ ଅଧିକାରୀମାନେ ସିଧାସଳଖ ଯୋଗାଯୋଗ କରି ସେମାନଙ୍କ ଭଲମନ୍ଦ ପଚାରି ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏତ୍ଦବ୍ୟତିତ ଆଣ୍ଟି ଭାଇରାଲ ଔଷଧ ସଂପର୍କରେ ବ୍ୟାପକ ସଚେତନତା ଉପରେ ଗୁରୁତ୍ବ ଦେଇଥିଲେ । ଆଗକୁ ପୂଜା ଋତୁ ଆସୁଥିବାରୁ ଅଧିକ ସତର୍କ ରହିବା ସହିତ କୋଭିଡ ନିୟମାବଳୀକୁ କଡିକଡି ଭାବରେ ପାଳନ କରିବାକୁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।
ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ ଏବଂ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ସୂଚନା ଅନୁଯାୟୀ, ବର୍ତ୍ତମାନ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷରୁ ଅଧିକ । ଜାତୀୟ ଆରୋଗ୍ୟ ହାର ୮୫ ପ୍ରତିଶତ ଥିବାବେଳେ ରାଜ୍ୟରେ ଆରୋଗ୍ୟ ହାର ୮୯ ପ୍ରତିଶତ । ରାଜ୍ୟରେ ଗତ ୮ ମାସ ଭିତରେ ୩୬ ଲକ୍ଷ ଟେଷ୍ଟ କରାଯାଇଥିବା ବେଳେ ତନ୍ମଧ୍ୟରୁ ୬.୭୫ ପ୍ରତିଶତ ପଜିଟିଭ କେସ୍ ବାହାରିଛି । ରାଜ୍ୟରେ ମୃତ୍ୟୁ ହାର ୦.୪ ପ୍ରତିଶତ ରହିଛି ଯାହାକି ଭାରତର ସବୁ ବଡ ରାଜ୍ୟ ମାନଙ୍କ ମଧ୍ୟରେ ସର୍ବୋତ୍ତମ ସୂଚକାଙ୍କ। ସେହିପରି ସୁସ୍ଥତା ହାରରେ ମଧ୍ୟ ଓଡିଶା ଦେଶର ରାଜ୍ୟ ମାନଙ୍କ ମଧ୍ୟରେ ଷଷ୍ଠ ସ୍ଥାନରେ ରହିଛି ।
ଏହି ବୈଠକରେ ଉନ୍ନୟନ କମିଶନର, ସ୍ବତନ୍ତ୍ର ରିଲିଫ କମିଶନର, ପୁଲିସ ଡିଜି ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ ।