ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ପରିଚାଳନା ନେଇ ପ୍ରଶାସନକୁ ୭ ସୂତ୍ରୀ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଆଜି ଭିଡ଼ିଓ କନଫରେନସିଂ ଯୋଗେ ଏକ ସମୀକ୍ଷା ବୈଠକ କରିଥିଲେ । ମୋ ସରକାର କାର୍ଯ୍ୟକ୍ରମରେ କୋଭିଡ୍ ପରିଚାଳନା ସମ୍ପର୍କିତ ଫିଡବ୍ୟାକ୍ ସଂଗ୍ରହ ଆଧାରରେ ନିମ୍ନୋକ୍ତ ପରାମର୍ଶ ଦେଇଥିଲେ ।
୧. ଜିଲ୍ଲାସ୍ତରରେ କୋଭିଡ ଚିକିତ୍ସା କେନ୍ଦ୍ର ଗୁଡିକରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ଏବଂ ମେଡିକାଲ ଅକ୍ସିଜେନ ସୁବିଧା ସବୁଠାରୁ ବଡ ପ୍ରାଥମିକତା। ଏହା ଉପରେ ୨୪ ଘଣ୍ଟିଆ ତଦାରଖ କରାଯିବା ଆବଶ୍ୟକ ।
୨. ଅଧିକ କୋଭିଡ ସଂଖ୍ୟା ଥିବା ଅଞ୍ଚଳ ଗୁଡିକରେ ଟେଷ୍ଟିଂ, ଟ୍ରେସିଂ ଓ କଣ୍ଟେନମେଣ୍ଟtକୁ ଜୋରଦାର କର।
୩. ଆଇସିୟୁ ଓ ଏଚଡିୟୁ ଦାୟିତ୍ବରେ ଥିବା ଡାକ୍ତରମାନଙ୍କ ଠାରୁ ସିଧାସଳଖ ଫିଡବ୍ୟାକ୍ ନେଇ ସେମାନଙ୍କ ମତାମତ ଭିତ୍ତିରେ ପଦକ୍ଷେପ ନିଅ ।
୪. ଟିକାକରଣ କାର୍ଯ୍ୟକ୍ରମ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଏଥିପାଇଁ ତ୍ରୁଟି ଶୂନ୍ୟ ବ୍ୟବସ୍ଥା କରାଯାଉ ।
ବୟସ୍କ, ମହିଳା ଓ ଦୁର୍ବଳ ଶ୍ରେଣୀର ଲୋକଙ୍କର ଯତ୍ନ ନିଆଯାଉ । ଯେତେଶୀଘ୍ର ସମ୍ଭବ ଅଧିକ ସଂଖ୍ୟକ ଟିକା ସଂଗ୍ରହ ପାଇଁ ଆମର ଉଦ୍ୟମ ଜାରି ରହିଛି ।
୫. କୋଭିଡ ଚିକିତ୍ସା କରୁଥିବା ବେସରକାରୀ ମେଡିକାଲ ଉପରେ ସତର୍କ ଦୃଷ୍ଟି ରଖ । ସେମାନେ ସରକାରଙ୍କ ନିର୍ଦ୍ଧାରିତ ମୂଲ୍ୟ ଭିତରେ ଲୋକଙ୍କ ଠାରୁ ଅର୍ଥ ସଂଗ୍ରହ କରିବାକୁ ବାଧ୍ୟ । ଯଦି ସେମାନେ ଏହା ନ କରନ୍ତି, ତେବେ ସଂପୃକ୍ତ ହସ୍ପିଟାଲ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର ।
୬. କୋଭିଡ ହସ୍ପିଟାଲ ଗୁଡିକରେ ହେଲ୍ପ ଲାଇନ ଗୁଡିକୁ ଅଧିକ କ୍ରିୟାଶୀଳ କରାଯାଉ ଏବଂ ରୋଗୀଙ୍କ ପରିବାର ବର୍ଗଙ୍କୁ ନିୟମିତ ସୂଚନା ଦିଆଯାଉ ।
୭. ଏଭଳି କଠିନ ସମୟରେ ଦୁଃଖ ଓ କଷ୍ଟରେ ଥିବା ଲୋକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ବ୍ୟବହାର କରି ସାହାଯ୍ୟ କର ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକ ମାସ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କୋଭିଡ ସଂଖ୍ୟା ବହୁ ପରିମାଣରେ ବଢିଥିଲେ ମଧ୍ୟ କୋଭିଡ ଯୋଦ୍ଧା ମାନଙ୍କର ଦୃଢ ପରିଶ୍ରମ ଓ ଜନସାଧାରଣଙ୍କ ସହଯୋଗ ଯୋଗୁ ପରିସ୍ଥିତିକୁ ଠିକ୍ ଭାବରେ ପରିଚାଳନା କରାଯାଇପାରିଛି । ତଥାପି ଆହ୍ବାନ ବହୁତ ବଡ ଏବଂ ଏହି ଯୁଦ୍ଧ ବହୁତ ଲମ୍ବା । ପରିସ୍ଥିତିକୁ ନିୟନ୍ତ୍ରଣରେ ଆଣିବା ପାଇଁ ଲକ୍ଡାଉନ ଲାଗୁ କରାଯାଇଛି । ଏହା ଠିକ୍ ଚାଲିଥିଲେ ମଧ୍ୟ କେତେକ ସ୍ଥାନରେ ଏଥିରେ ଅଧିକ ଉନ୍ନତିର ଆବଶ୍ୟକତା ରହିଛି । ଏହି ମହାମାରୀକୁ ନିୟନ୍ତ୍ରଣ କରିବାକୁ ଟିକାକରଣ ହେଉଛି ଆମର ମୁଖ୍ୟ ରଣନୀତି । ପରିସ୍ଥିତିରେ ସୁଧାର ଆସିବା ପର୍ଯ୍ୟନ୍ତ ସମସ୍ତଙ୍କୁ ସତର୍କ ହେବାକୁ ପଡ଼ିବ । ମାସ୍କ ବ୍ୟବହାର, ହାତ ଧୁଆ ଓ ସାମାଜିକ ଦୂରତ୍ବ ବଜାୟ ରଖିବା ସହିତ ଅନାବଶ୍ୟକ ଭାବେ ବାହାରେ ନ ବୁଲି ଘରେ ରହିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ ।
ତୃତୀୟ ଲହରୀର ସମ୍ଭାବନା ସଂପର୍କରେ ତଥ୍ୟ ସଂଗ୍ରହ ସହିତ ସମ୍ଭାବ୍ୟ ମୁକାବିଲା ବ୍ୟବସ୍ଥା ପାଇଁ ପ୍ରସ୍ତୁତ ହେବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ ।
ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ କୋଭିଡ ହସ୍ପିଟଲ ଗୁଡିକରେ ଚିକିତ୍ସାରେ ଉନ୍ନତି ଆଣିବା ପାଇଁ ପଦକ୍ଷେପ ନିଆଯାଇଛି । କୋଭିଡ ଅବଜରଭର ମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି । ଅକ୍ସିଜେନ ବ୍ୟବସ୍ଥାର ୨୪ ଘଣ୍ଟିଆ ତଦାରଖ କରାଯାଉଛି । କୋଭିଡ କେୟାର କେନ୍ଦ୍ର ଗୁଡିକରେ ଅଧିକ ଆଇସିୟୁ ଓ ଭେଣ୍ଟିଲେଟର ଶଯ୍ୟାର ବ୍ୟବସ୍ଥା କରାଯାଇଛି ଏବଂ ଆହୁରି ଅଧିକ ଶଯ୍ୟା ପାଇଁ ପଦକ୍ଷେପ ଜାରି ରହିଛି ।
ଟେଷ୍ଟ ପଜିଟିଭିଟି ହାର ୨୦.୨, ମୃତ୍ୟୁ ହାର ୦.୪୦: ବୈଠକରେ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ସୂଚନା ଅନୁଯାୟୀ ସାରା ବିଶ୍ବରେ ବର୍ତ୍ତମାନ ଭାରତର କୋଭିଡ ସଂକ୍ରମଣ ସଂଖ୍ୟା ୫୪ ପ୍ରତିଶତ ରହିଛି । ଓଡିଶାର କୋଭିଡ ସଂଖ୍ୟା ବର୍ତ୍ତମାନ ଦେଶର କୋଭିଡ ସଂଖ୍ୟାର ୨.୭ ପ୍ରତିଶତ ରହିଛି । ସର୍ବଭାରତୀୟ ସ୍ତରରେ ମୃତ୍ୟୁ ହାର (CFR) ୧.୦୯ ଥିବାବେଵେ, ଓଡିଶାରେ ଏହା ୦.୪୦ ରହିଛି। ଖୋର୍ଦ୍ଧା ଓ କଟକ ଜିଲ୍ଲା ବ୍ୟତୀତ ଛତିଶଗଗଡ ସୀମାରେ ଜିଲ୍ଲା ଗୁଡିକରେ ଅଧିକ ପଜିଟିଭ କେସ୍ ରହୁଛି । ଓଡିଶାର ବର୍ତ୍ତମାନ ଟେଷ୍ଟ ପଜିଟିଭିଟି ଗତ ୧୫ ଦିନ ଧରି ୨୦.୨ ରହିଛି । ରାଜ୍ୟରେ ବର୍ତ୍ତମାନ ଦୈନିକ ୫୨.୯ ମେଟ୍ରିକ ଟନ୍ ଅକ୍ସିଜେନ ଖର୍ଚ୍ଚ ହେଇଛି।
ଅମାନିଆଙ୍କଠାରୁ ୨୮ କୋଟି ୯୧ ଲକ୍ଷ ତଣ୍ଡ: ପୋଲିସ ଡିଜି ଶ୍ରୀ ଅଭୟ କୋଭିଡ ନିୟମାବଳୀର ଅନୁପାଳନ ଦିଗରେ ପୋଲିସର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ । କୋଭିଡ ନିୟମାବଳୀର ଉଲଘଂନ ପାଇଁ ବର୍ତ୍ତମାନ ସୁଦ୍ଧା ୨୮ କୋଟି ୯୧ ଲକ୍ଷ ଟଙ୍କା ଜୋରିମାନା ଆଦାୟ କରାଯାଇଛି । ବିଭିନ୍ନ କୋଭିଡ ଚିକିତ୍ସାଳୟରେ ଅଗ୍ନି ନିୟନ୍ତ୍ରଣ ସଂପର୍କରେ ପଦକ୍ଷେପ ନିଆଯାଉଛି ।
ବୈଠକରେ ସମ୍ବଲପୁର, ବରଗଡ, ପୁରୀ, କଟକ ଓ ଭୁବନେଶ୍ବର ମହାନଗର ନିଗମରେ କୋଭିଡ ପରିଚାଳନା ସଂପର୍କରେ ଜିଲ୍ଲାପାଳ ଓ କମିଶନର ମାନେ ସୂଚନା ଦେଇଥିଲେ ।
ମୁଖ୍ୟମନ୍ତୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକକୁ ସଂଯୋଜନା କରିଥିଲେ ।