ଭୁୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟର ଠାରେ ସଡକ ସୁରକ୍ଷା ପାଇଁ ଏକ ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ର ଶୁଭାରମ୍ଭ କରିଛନ୍ତି। ରାଜ୍ୟ ପରିବହନ ବିଭାଗ ଦ୍ୱାରା ଆୟୋଜିତ ଏହି ତାଲିମ କାର୍ଯ୍ୟକ୍ରମରେ ୩୦ ହଜାର ପ୍ରଥମ ଜୀବନ ରକ୍ଷାକାରୀ (First Responder) ତାଲିମ ପାଇବେ। ୩୦୦ ପ୍ରଶିକ୍ଷକ ରାଜ୍ୟର ୩୦ଟି ଜିଲ୍ଲାରେ ୩୦ ସପ୍ତାହ ପାଇଁ ତାଲିମ ପ୍ରଦାନ କରିବେ । ସଡ଼କ ଦୁର୍ଘଟଣାର ଶିକାର ହେଉଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ ସହାୟତା ଓ ଚିକିତ୍ସା ସୁବିଧା ଉପଲବ୍ଧ କରାଇ ଜୀବନ ବଞ୍ଚାଇବା ଏହାର ମୁଖ୍ୟ ଉଦ୍ଦେଶ୍ୟ । ରାଜ୍ୟସ୍ତରରେ ଏଭଳି ତାଲିମ କାର୍ଯ୍ୟକ୍ରମ ପ୍ରଥମ ।
କାର୍ଯ୍ୟକ୍ରମରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଡକ ଦୁର୍ଘଟଣା କେବଳ ଜଣେ ବ୍ୟକ୍ତି ବା ଗୋଟିଏ ପରିବାରର କ୍ଷତି ନୁହେଁ। ଏହା ସମାଜର କ୍ଷତି । ଅର୍ଥନୀତିର ମଧ୍ୟ ବଡ କ୍ଷତି। ତେଣୁ ଏହାକୁ ରୋକିବା ପାଇଁ ଆମେ ସମସ୍ତେ ଏକାଠି ହୋଇ କାମ କରିବା ଦରକାର । ଏ କ୍ଷେତ୍ରରେ ଡ୍ରାଇଭର ମାନଙ୍କର ଯେତିକି ଦାୟିତ୍ୱ, ସଡକ ବ୍ୟବହାର କରୁଥିବା ବ୍ୟକ୍ତିର ମଧ୍ୟ ସେତିକି ଦାୟିତ୍ୱ । ସାମାନ୍ୟ ସହଯୋଗ କଲେ, ଅନେକ ଜୀବନ ରକ୍ଷା ହୋଇପାରିବ ଓ ଅନେକ ପରିବାର ଦୁର୍ଦ୍ଦିନରୁ ରକ୍ଷା ପାଇପାରିବେ ।
ବିପଦରେ ଥିବା ଲୋକର ଜୀବନ ବଞ୍ଚାଇବା ଠାରୁ ବଡ ପୁଣ୍ୟ କିଛି ନାହିଁ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଡକ ଦୁର୍ଘଟଣାର ଶିକାର ହେଉଥିବା ଲୋକ ମାନଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସୁଥିବା ଲୋକକୁ ୨୦୦୦ ଟଙ୍କା ସହାୟତା ଦେବାର ବ୍ୟବସ୍ଥା କରାଯାଇଛି । ଏହାସହିତ ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତି ମାନଙ୍କର ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି । ସଡକ ଦୁର୍ଘଟଣା ରୋକିବା ପାଇଁ ସରକାରଙ୍କ ଏ ଉଦ୍ୟମରେ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ ।
ବିଭିନ୍ନ ଏନଜିଓମାନେ ସଡକ ଦୁର୍ଘଟଣା ସମୟରେ ତୁରନ୍ତ ସହାୟତା ଯୋଗାଇଦେବା ଓ ସଚେତନତା ସୃଷ୍ଟି କ୍ଷେତ୍ରରେ ଯେଉଁ ଉଦ୍ୟମ କରୁଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କର ଏହି ଉଦ୍ୟମ ସଫଳ ହେବ ଓ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା କମିପାରିବ ବୋଲି ଆଶାପ୍ରକାଶ କରିଥିଲେ ।
କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରକ୍ଷକ ତାଲିମ କାର୍ଯ୍ୟକ୍ରମର ଲୋଗୋ ଉନ୍ମୋଚନ କରିବା ସହିତ ଏହାର ୱେବସାଇଟ OPTICS ଉଦ୍ଘାଟନ କରିଥିଲେ । ତାଲିମରେ ଯୋଗ ଦେଇଥିବା first responder ମାନଙ୍କୁ କିଟ୍ ଓ ଟି-ସାର୍ଟ ବଣ୍ଟନ କରିଥିଲେ ।
କାର୍ଯ୍ୟକ୍ରମରେ ଯୋଗ ଦେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସଡକ ଦୁର୍ଘଟଣା ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ ।
ବିଭାଗୀୟ ପ୍ରମୁଖ ସଚିବ ମଧୁସୂଦନ ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପରିବହନ କମିଶନର ଅରୁଣ ବୋଥ୍ରା ଧନ୍ୟବାଦ ଅର୍ପଣ କରିଥିଲେ ।