ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଏବେ ଓଡ଼ିଶା ଉପକୂଳମୁହାଁ । ଏହା ଭୀଷଣ ରୂପ ନେଇ ଆନ୍ଧ୍ରପ୍ରଦେଶର କଳିଙ୍ଗପାଟଣମ୍ ଏବଂ ଗୋପାଳପୁର ନିକଟରେ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଅତିକ୍ରମ କରିବ । ଆଜି ରାତି ସମୟରେ ଗଭୀର ଅବପାତ ହିସାବରେ କଳିଙ୍ଗପାଟଣମ୍ ପାଖାପାଖି ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଆଜି ରାତିରୁ ଆରମ୍ଭ ହୋଇଯିବ ପ୍ରବଳରୁ ଅତି ପ୍ରବଳ ବର୍ଷା । ସ୍ଥଳଭାଗ ଛୁଇଁଲା ବେଳେ ପବନର ବେଗ ଘଣ୍ଟା ପ୍ରତି ୫୫ରୁ ୬୫ କିମି ଏବଂ ଝଟକା ପବନର ବେଗ ସ୍ଥାନେ ସ୍ଥାନେ ୭୫ କିମି ପର୍ଯ୍ୟନ୍ତ ବହିବ ।
ଏଥିପାଇଁ କୋରପୁଟ, ଗଜପତି, ଗଞ୍ଜାମ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଆଲର୍ଟ ଜାରି ହୋଇଛି । ଦକ୍ଷିଣ ଓଡ଼ିଶାର ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ଏବଂ ତଳିଆ ଅଞ୍ଚଳ ଜଳମଗ୍ନର ଆଶଙ୍କା ଅଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । କୋରାପୁଟ ଜିଲ୍ଲା ସିମିଳିଗୁଡ଼ାଠାରେ ସର୍ବାଧିକ ୨୩୦ ମିମି ବର୍ଷା ରେକର୍ଡ ହୋଇଛି । ୧୦ ଜିଲ୍ଲାରେ ଅତି ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ୩୫ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି ।
ଗଭୀର ଅବପାତ ଜନିତ ବର୍ଷା ଓ ଏହାର ପ୍ରଭାବ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସମୀକ୍ଷ କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ,ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରମୁଖ ଏହି ବୈଠକରେ ଉପସ୍ଥିତ ଥିଲେ। ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ମୁଖ୍ୟମନ୍ତ୍ରୀଙ୍କୁ ଅବପାତ, ସମ୍ଭାବ୍ୟ ବର୍ଷା ଓ ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ।
ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ସମସ୍ତ ପ୍ରାକୃତିକ ବିପର୍ଯ୍ୟୟରେ ଆମର ଏକମାତ୍ର ନୀତି ହେଉଛି-‘ଜିରୋ କାଜୁଆଲ୍ଟି’। ତେଣୁ, ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ଜିଲ୍ଲା ପ୍ରଶାସନ ସହିତ ସମନ୍ୱୟ ରକ୍ଷାକରି ଏହି ପରିସ୍ଥିତିର ମୁକାବିଲା କରିବା ଆବଶ୍ୟକ। ଲୋକଙ୍କ ଧନଜୀବନ ସୁରକ୍ଷା ଉପରେ ସେ ସର୍ବାଧିକ ଗୁରୁତ୍ୱ ଆରୋପ କରିଥିଲେ। ଜଳବନ୍ଦୀ କ୍ଷେତ୍ରରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ଏବଂ ସେମାନଙ୍କୁ ଉପଯୁକ୍ତ ରିଲିଫ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଯଦିଓ ବାତ୍ୟାର ସମ୍ଭାବନା ନାହିଁ, ତଥାପି ସମସ୍ତ ପ୍ରକାର ସତର୍କତାମୂଳକ ବ୍ୟବସ୍ଥା ସହ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମୋଟ ୩୩ଟି ଓଡ୍ରାଫ୍ ଟିମ୍ ମୁତୟନ କରାଯାଇଛି। ଗଞ୍ଜାମରେ ୬, ଗଜପତିରେ ୩, କୋରାପୁଟରେ ୬, ମାଲକାନଗିରିରେ ୩, ରାୟଗଡ଼ାରେ ୩, କଳାହାଣ୍ଡିରେ ୨ ଏବଂ ବଲାଙ୍ଗିରରେ ୧ଟି ଟିମ୍ ମୁତୟନ ହୋଇଛି। ଏହା ବ୍ୟତୀତ ଗଞ୍ଜାମର ଛତ୍ରପୁରସ୍ଥିତ ଓଡ୍ରାଫ୍ ୟୁନିଟ୍ର ୯ଟି ଟିମ୍ ରିଜର୍ଭ ରଖାଯାଇଛି। ଉପକୂଳରେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ସମସ୍ତ ବନ୍ଦରରେ ସ୍ଥାନୀୟ ସତର୍କ ସଙ୍କେତ ସଂଖ୍ୟା-୩ ଉତ୍ତୋଳନ କରାଯାଇଛି ଏବଂ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କ ପ୍ରବେଶ ଉପରେ ନିଷେଧ ଜାରି ରହିଛି। ଏହାର ଶତ ପ୍ରତିଶତ ଅନୁପାଳନ ନିଶ୍ଚିତ କରିବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି।
ପ୍ରଭାବିତ ହେବାକୁ ଥିବା ଅଞ୍ଚଳ ଗୁଡିକ ଯଥା- ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇଥିବା ବେଳେ, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଜିଲ୍ଲା ପ୍ରଶାସନ ତଥା ରାଜସ୍ୱ ବିଭାଗ ପକ୍ଷରୁ ସମସ୍ତ ଆବଶ୍ୟକ ପ୍ରସ୍ତୁତି କରାଯାଇଛି। ଜିଲ୍ଲା ଓ ବ୍ଲକ୍ ଆପାତକାଳୀନ କାର୍ଯ୍ୟ କେନ୍ଦ୍ରଗୁଡ଼ିକୁ ୨୪x୭ କାର୍ଯ୍ୟରତ ରଖିବା, ସମ୍ବେଦନଶୀଳ ବସତି ଚିହ୍ନଟ କରିବା, ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବା ଏବଂ ଶୁଖିଲା ଖାଦ୍ୟ, ଶିଶୁ ଖାଦ୍ୟ, ପାନୀୟ ଜଳ ଓ ପରିଷ୍କାରତା ସାମଗ୍ରୀ ମହଜୁଦ ରଖିବା ଉପରେ ଗୁରୁତ୍ୱ ଦିଆଯାଇଛି। ଓଡ୍ରାଫ୍, ଏନ୍ଡିଆରଏଫ୍ ଓ ଅଗ୍ନିଶମ ସେବା ଦଳକୁ ପୂର୍ବରୁ ମୁତୟନ ଓ ସଜ୍ଜ ରଖାଯାଇଥିବା ବେଳେ ଉଦ୍ଧାର ନୌକା, ଲାଇଫ୍ ଜାକେଟ୍ ଓ ପାୱାର ବୋଟ୍ ମଧ୍ୟ ପ୍ରସ୍ତୁତ ରଖାଯାଇଛି।