ଭୁବନେଶ୍ୱର: ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ ଟି ଯାକ ଜିଲ୍ଲାର ୧୦୭୫ ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି । ସାତ ଦିନିଆ କାର୍ଯ୍ୟକ୍ରମର ଆଜି ଦ୍ୱିତୀୟ ଦିନ ଶିଶୁ ଦିବସରେ ବୌଦ୍ଧ, ସୋନପୁର, ଭଦ୍ରକ ଓ କେନ୍ଦୁଝର ଆଦି ୪ ଟି ଜିଲ୍ଲାର ୧୩୮ ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । କେବଳ କେନ୍ଦୁଝର ରେ ଶହେ ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି ।
ପ୍ରଥମ ଦିନରେ ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଥିଲା । ଆଜି ସୁଦ୍ଧା ୩୩୦ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ଏଥିରେ ହିଞ୍ଜିଳି ଓ ଶେରଗଡର ୫୦ଟି ସ୍କୁଲ ସାମିଲ ଅଛି ।
ଏହି ଅବସରରେ ଶିଶୁ ଦିବସ ପାଇଁ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଶିକ୍ଷା ବିକାଶ କ୍ଷେତ୍ରରେ ରାଜ୍ୟରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି । ଶିକ୍ଷା ହେଉଛି ରୂପାନ୍ତର ର ପ୍ରଥମ ପାହାଚ । ଶିକ୍ଷା ଭିତ୍ତିଭୂମି ର ରୂପାନ୍ତର ପିଲାମାନଙ୍କ ମନରେ ଅଶେଷ ପ୍ରେରଣା ଓ ଉତ୍ସାହ ଭରି ଦେଇଛି । ପ୍ରଥମ ପର୍ଯ୍ୟାୟରେ ୨୪ ନଭେମ୍ବର ସୁଦ୍ଧା ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ । ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୟ । ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ୱ।
ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ ଟେକନୋଲୋଜି ବିଷୟରେ ଜାଣନ୍ତୁ । ବଡ ବଡ ସ୍ୱପ୍ନ ଦେଖନ୍ତୁ ଓ ଜୀବନର ସବୁ ଚାଲେଂଜ୍ କୁ ସାମନା କରିବା ପାଇଁ ଆତ୍ମବିଶ୍ୱାସ ର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”
ସ୍କୁଲ ରୂପାନ୍ତର ହେଉଛି ଆମର ୫-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ ସ୍ମରଣ କରାଇ ଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ ୪ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ୟସ୍ମିନ ରଣା ,ତୁଳସୀ ସାହୁ ଉତ୍ପଳିକା ପଲାଇ ଓ ଲୋପାମୁଦ୍ରା ମହାନ୍ତ ପ୍ରମୁଖ ଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି । ଆମ ସ୍କୁଲ ସବୁଠୁ ଭଲ ବୋଲି ସମସ୍ତେ ଉତ୍ସାହର ସହ କହିଥିଲେ ଏବଂ ସୋମାନଙ୍କ ଜୀବନର ଲକ୍ଷ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଙ୍କୁ କହିଥିଲେ । ।
କାର୍ଯ୍ୟକ୍ରମରେ ମନ୍ତ୍ରୀ ନିରଞନ ପୂଜାରୀ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ବିଧାୟକ ପ୍ରଦୀପ ଅମାତ୍ ଓ ବ୍ୟୋମକେଶ ରାୟ ପ୍ରମୁଖ ଯୋଗ ଦେଇଥିଲେ।
ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ ।
ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍ଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।