ଭୁବନେଶ୍ୱର: ମାର୍ଚ୍ଚ ୫ ତାରିଖ ହେଉଛି ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜନ୍ମ ଦିବସ । ପଞ୍ଚାୟତିରାଜ ବ୍ୟବସ୍ଥାକୁ ତାଙ୍କର ବିଶେଷ ଅବଦାନ ପାଇଁ ବିଜେଡି ସରକାର ସେହି ଦିନଟିକୁ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରୁଥିଲେ । ସେଥିପାଇଁ ସରକାରୀ ଛୁଟି ରହୁଥିଲା । ମାତ୍ର ରାଜ୍ୟର ବିଜେପି ସରକାର ସେହି ନିଷ୍ପତ୍ତିକୁ ବଦଳାଇ ଦେଇଛନ୍ତି । ଏପ୍ରିଲ୍ ୨୪ ଜାତୀୟ ପଞ୍ଚାୟତିରାଜ ଦିବସ ଦିନ ହିଁ ଓଡ଼ିଶାରେ ପଞ୍ଚାୟତିରାଜ ଦିବସ ପାଳନ ହେବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ପ୍ରେସ୍ ବିଜ୍ଞପ୍ତିରେ କୁହାଯାଇଛି ଯେ ୨୦୨୦ ମସିହାରୁ ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଉଅଛି। ତେବେ ପ୍ରତି ବର୍ଷ ଅପ୍ରେଲ ୨୪ ତାରିଖକୁ ଜାତୀୟ ପଞ୍ଚାୟିତରାଜ ଦିବସ ରୂପେ ପାଳନ କରାଯାଏ। ଏହି ଦିନ ବିଭିନ୍ନ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ପୁରସ୍କାର ପ୍ରଦାନ, ରାଷ୍ଟ୍ରୀୟ ଗୌରବ ଗ୍ରାମସଭା ପୁରସ୍କାର, ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ପୁରସ୍କାର ଆଦି ପ୍ରଦାନ କରାଯାଇଥାଏ।
ପଞ୍ଚାୟତିରାଜ ଦିବସ ପାଳନରେ ଜାତୀୟ ଓ ରାଜ୍ୟ ସ୍ତରରେ ଥିବା ଏହି ଅସଂହତି ଦୂର କରିବା ପାଇଁ ଓଡିଶାରେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରା ନ ଯାଇ ଅପ୍ରେଲ ୨୪ ତାରିଖରେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଲୋକସେବା ଦିବସ ମଧ୍ୟ ଅପ୍ରେଲ ୨୪ ତାରିଖରେ ପାଳନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।
ମାର୍ଚ୍ଚ ୫ ତାରିଖ ହେଉଛି ଓଡିଶାର ମହାନ ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହାକୁ ରାଜ୍ୟ ସରକାର ମହାସମାରୋହରେ ପାଳନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ତେବେ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ।